ପୁରୀ:ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ପରମ୍ପରା ଅନୁଯାୟୀ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।