ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ହେଉଛି କୃଷ୍ଣପକ୍ଷ ତୃତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ ।
କ'ଣ ଏହି ବନକଲାଗି ନୀତି ?
ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ କବଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।
କେଉଁ ସେବାୟତ ନିୟୋଜିତ ହୁଅନ୍ତି:
ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାର୍ଯ୍ୟ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ଶ୍ରୀବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।