ପୁରୀ: ଆଜି (ବୁଧବାର) ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଥାନ୍ତି ।
ପରମ୍ପରା ଅନୁଯାୟୀ, ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତମହାପାତ୍ର କୁହାଯାଏ ।
ଏହା ମଧ୍ୟ ପଢନ୍ତୁ - ଆଜି ଶ୍ରୀଜିଉଙ୍କ ବନକଲାଗି, ସନ୍ଧ୍ୟାରୁ ସର୍ବସାଧାରଣ ଦର୍ଶନ ବନ୍ଦ