ଭୁବନେଶ୍ବର: ରାଜ୍ୟରେ ୨୦୦୦ ଟ୍ରାଫିକ୍ ପୋଲିସ ପଦବୀ ସୃଷ୍ଟି ହେବ । ଗତକାଲି(ରବିବାର) ଲୋକସେବା ଭବନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଆଉ 20ଟି ସାଇବର ଥାନା ଖୋଲିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ଖୋଲିବ ଆଉ 20 ସାଇବର ଥାନା:
ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ସାଇବର ପୋଲିସ ଷ୍ଟେସନ । ଆଉ ୨୦ଟି ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସହରାଞ୍ଚଳରେ ରାତ୍ରୀକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡାକଡି କରିବାକୁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।
ରାଜ୍ୟରେ ୨୧୯୮ ଟ୍ରାଫିକ ପୋଲିସ କାର୍ଯ୍ୟରତ:
ଲୋକସେବା ଭବନରେ ଆୟୋଜିତ ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ସଡକ ଦୁର୍ଘଟଣା କମ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ବିସ୍ତୃତ ଆଲୋଚନା ହୋଇଥିଲା । ରାଜ୍ୟରେ ବର୍ତ୍ତମାନ ୨୧୯୮ ଜଣ ଟ୍ରାଫିକ ପୋଲିସ ରାଜ୍ୟରେ କାର୍ଯ୍ୟରତ ଅଛନ୍ତି । ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ୨ ହଜାର ନୂତନ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ ଦେବା ସହିତ ଏହି ପଦବୀ ଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
2024ରେ 2633ଟି ସାଇବର ମାମଲା ରୁଜୁ:
ସେହିପରି ରାଜ୍ୟରେ ୨୦୨୪ ବର୍ଷରେ ୨୬୩୩ଟି ସାଇବର ଅପରାଧ ମାମଲା ରୁଜୁ ହୋଇଛି । ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟରେ ବର୍ତ୍ତମାନ ୧୪ଟି ଥାନା କାର୍ଯ୍ୟରତ ଅଛି । ସାଇବର ଠକେଇରେ ସାଧାରଣ ଲୋକମାନେ ବହୁତ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ଆଉ ୨୦ଟି ନୂତନ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ପାଟ୍ରୋଲିଂ ଓ ଚେକିଂକୁ କଡାକଡି କରିବାକୁ ନିର୍ଦ୍ଦେଶ:
ସେହିପରି ରାଜ୍ୟରେ ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲାଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସହରରେ ରାତ୍ରୀକାଳିନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡାକଡି କରିବାକୁ ମୁଖ୍ୟମନ୍ତ୍ରୀ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।
ଏହା ମଧ୍ୟ ପଢନ୍ତୁ: ଖୁବଶୀଘ୍ର ଦେଶର ଶ୍ରେଷ୍ଠ ୫ ରାଜ୍ୟରେ ସାମିଲ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ |