ଭୁବନେଶ୍ୱର:ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା । ନୂଆଦିଲ୍ଲୀରେ ଗୁରୁବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ଓଡିଶାର ୩ ନେତା ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି । ସେହିପରି ଶୁକ୍ରବାର ଦିନ(ଆଜି) କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରାଜ୍ୟସଭାରେ ଗୃହ ନେତା ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ସେପଟେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି । ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି ।
ଏହି ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ।