ଭୁବନେଶ୍ବର:ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ କୋହଲା ପାଗ ଜାରି ରହିଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ଅଧିକ ହୋଇପାରେ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷାକୁ ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ:
ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । କିଛି ସ୍ଥାନରେ କୁଆପଥର ବୃଷ୍ଟି ନେଇ ମଧ୍ୟ ଆଲର୍ଟ ଜାରି କରାଯାଇଛି । ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୋଳ, ଢେଙ୍କାନାଳ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଅପରାହ୍ନ ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବଜ୍ରପାତ ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।