ଭୁବନେଶ୍ବର:ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ଏହି ମିଶ୍ରଣ କାର୍ଯ୍ୟକ୍ରମ । ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ସୁଲାତା ଦେଓ ଓ ୨୦୨୪ ସାଧାରଣ ନିର୍ବାଚନର ବିଜେଡ଼ି ଢେଙ୍କାନାଳ ଲୋକସଭା ପ୍ରାର୍ଥୀ ଅବିନାଶ ସାମଲଙ୍କ ଉପସ୍ଥିତିରେ ଏମାନେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହୋଇଥିବା ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ନେତା ଉପଢୌକନ ଦେଇ ଦଳକୁ ସ୍ୱାଗତ କରାଯାଇଛି ।
ବିଜେପି ନେତା ଓ କର୍ମୀଙ୍କ ଯୋଗଦାନ ଫଳରେ ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । ବିଜେଡ଼ିରେ ସାମିଲ ହୋଇଥିବା ସମସ୍ତ ବିଜେପି ନେତାମାନେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।