ଭୁବନେଶ୍ବର: ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା। ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚ ପ୍ରଶଂସା କରିବା ସହିତ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ସହିଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦ୍ନୁଯାୟୀ ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ କାର୍ଯ୍ୟ କରୁଥିବା ସମୟରେ ସହିଦ୍ ହୋଇଥିବା ୬୦ ଜଣ ଯୋଦ୍ଧାଙ୍କର ନାମ ତାଲିକା ଭାରତ ସରକାରଙ୍କ ନିକଟକୁ ପଠାଇଥିଲେ । କିନ୍ତୁ ଭାରତ ସରକାର ମାତ୍ର ଜଣେ ସହିଦ୍ଙ୍କୁ ସହାୟତା ଦେବା ପାଇଁ ସମ୍ମତି ପ୍ରକାଶ କରିଛନ୍ତି ।
ଏ ସଂପର୍କରେ ରାଜ୍ୟ ସରକାର ପୁଣିଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ପ୍ରୋଟୋକଲ୍କୁ ଅଧିକ ଷ୍ଟାଣ୍ଡାଲାଇଜ କରାଯାଇଛି । ତେଣୁ କୋଭିଡରୁ ସୁସ୍ଥ ହେଉଥିବା ଲୋକଙ୍କ ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟରେ ବର୍ତ୍ତମାନ ୭୮ ପ୍ରତିଶତ ଲୋକ ଗୃହ ସଂଗରୋଧରେ ଅଛନ୍ତି । ତେଣୁ ଗୃହ ସଂଗରୋଧରେ ଥିବା ରୋଗୀ ଏବଂ କୋଭିଡ ହସ୍ପିଟାଲରେ ରହିଥିବା ରୋଗୀ ମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧାସଳଖ ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏତ୍ଦବ୍ୟତୀତ ଆଣ୍ଟି ଭାଇରାଲ ଔଷଧ ସଂପର୍କରେ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।