ଓଡିଶା

odisha

By

Published : Jun 1, 2022, 9:14 PM IST

ETV Bharat / city

5-T ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ, 5 ଜିଲ୍ଲାର ୫୩୨ ସ୍କୁଲ ଲୋକାର୍ପିତ

ଦ୍ବିତୀୟ ପର୍ଯ୍ୟାୟରେ ୫୩୨ଟି ରୂପାନ୍ତରଣ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଦ୍ବିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ମୟୂରଭଞ୍ଜର ସର୍ବାଧିକ ୩୩୯ଟି ସ୍କୁଲ ଲୋକାର୍ପିତ । ଅଧିକ ପଢନ୍ତୁ

5-T ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ, ପ୍ରଥମ ଦିନରେ ୫୩୨ ସ୍କୁଲ ଲୋକାର୍ପିତ
5-T ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ, ପ୍ରଥମ ଦିନରେ ୫୩୨ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟରେ ଆଜି(ବୁଧବାର)ଠାରୁ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ । ପ୍ରଥମ ପର୍ଯ୍ୟାୟରେ ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୫୩୨ଟି ହାଇସ୍କୁଲ ରୂପାନ୍ତର ହୋଇଛି । ରାଜ୍ୟର ୫ଟି ଜିଲ୍ଲା ଖୋର୍ଦ୍ଧା, ବୌଦ୍ଧ, ମାଲକାନଗିରି, ସୋନପୁର ଓ ମୟୂରଭଞ୍ଜର ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ତେବେ ଦ୍ବିତୀୟ ପର୍ଯ୍ୟାୟରେ ମୋଟ ୨୯୦୮ଟି ହାଇସ୍କୁଲ ରୂପାନ୍ତର ହେବାର କାର୍ଯ୍ୟକ୍ରମ ରହିଛି ।

5-T ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ, ପ୍ରଥମ ଦିନରେ ୫୩୨ ସ୍କୁଲ ଲୋକାର୍ପିତ

ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ, 'ଆଜି ଗୋଟିଏ ଦିନରେ ପାଞ୍ଚଟି ଜିଲ୍ଲାର ରେକର୍ଡ ୫୩୨ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ମୟୂରଭଞ୍ଜରେ ସର୍ବାଧିକ ୩୩୯ଟି, ସୋନପୁରରେ ୪୧ଟି, ବୌଦ୍ଧରେ ୨୪ଟି, ମାଲକାନଗିରିରେ ୪୭ଟି ଓ ଖୋର୍ଦ୍ଧାରେ ୮୧ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହା ଜୁନ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟେକ ପିଲାଙ୍କ ପାଇଁ ସ୍ବତନ୍ତ୍ର ଏବଂ ବିପୁଳ ସମ୍ଭାବନା ଭରିରହିଛି । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ । ଜୀବନରେ କିଛି ବଡ କରିବାର ସ୍ବପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିଛି ।' ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, 'ପିଲାଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ । ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ । ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ । ଏ ରୂପାନ୍ତର ପିଲାଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।'



ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ । ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜର, ପରିବାର ଓ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ଟେକ୍ନୋଲୋଜି ଦ୍ବାରା ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପ୍ୟୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଯାଇଛି । ସେହିପରି ଟିମୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି ।

ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ ଶେଷ ହୋଇଛି । ଟ୍ରାନ୍‌ସପରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି । ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାରାଣ୍ଡି, ପଦ୍ମନାଭ ବେହେରା, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ରମେଶ ମାଝୀ ଓ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇଛନ୍ତି । ୫T School Transformation ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details