ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ବତନ୍ତ୍ର ଜିଲ୍ଲା କରିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।
ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ ବଢ଼ାଇଛି । କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏପରି କହିଛନ୍ତି । ବିଧାୟକ ସୁବାସ ପାଣିଗ୍ରାହୀ ଏହି smart health card ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଧନ୍ୟବାଦ ଅର୍ପଣ କରିଛନ୍ତି ।