ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି (CM Naveen Patnaik reviews COVID-19 situation of state) । ଭିସି ଜରିଆରେ ସମୀକ୍ଷା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି , ଦେଶରେ କୋଭିଡ ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ମେଡିକାଲରେ ଭର୍ତ୍ତି ସଂଖ୍ୟା ବହୁତ କମ ରହିଛି । ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଛି । ଆଦୌ ଟିକା ନେଇ ନଥିବା ତଥା ଦ୍ବିତୀୟ ଡୋଜ ନେଇନଥିବା ଲୋକଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ବରିଷ୍ଠ ନାଗରିକ ତଥା ସମ୍ମୁଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବ । ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ କ୍ବାରେଣ୍ଟାଇନରେ ରହିଛନ୍ତି । ତେଣୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ । ଏଥିପାଇଁ Rapid Response Team ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ କ୍ବାରେଣ୍ଟାଇନରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।