ଭୁବନେଶ୍ବର: ଓଡିଶାରେ ବଢିଲା ବାତ୍ୟା ଭୟ(Cyclone threat in Odisha) । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ବାତ୍ୟା ସମ୍ଭାବନା ନେଇ ସତର୍କ କରିଛି ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେଇପାରେ । ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଗତକାଲି ସୃଷ୍ଟ ଏହି ଘୂର୍ଣ୍ଣିବଳୟ ଆଜି ସକାଳ ସାଢେ ୮ଟା ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି ।