ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ୧୧ ଜୁନ ବେଳକୁ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ । ଏହାର ପ୍ରଭାବରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।
ବୁଧବାର ପୁର୍ବ କେନ୍ଦ୍ରୀୟ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି । ଆସନ୍ତା ୨, ୩ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ । ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଗୁରୁବାର ସକାଳ ୮.୩୦ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସତର୍କତା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡା ଓ ଜଗତସିଂହପୁର । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଂ ଦିଆଯାଇଛି । ସେହିପରି ଆସନ୍ତା ୧୧ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି ।