ଓଡିଶା

odisha

ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା, ଜିରୋ କାଜୁଆଲଟି ଉପରେ ଗୁରୁତ୍ବ - ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯେପରି ଗୋଟିଏ ବି ଜୀବନହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ଦେଲେ ନିର୍ଦ୍ଦେଶ । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା, ଜିରୋ କାଜୁଆଲଟିକୁ ଦେଲେ ଗୁରୁତ୍ବ
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା, ଜିରୋ କାଜୁଆଲଟିକୁ ଦେଲେ ଗୁରୁତ୍ବ

By

Published : Aug 16, 2022, 1:30 PM IST

Updated : Aug 16, 2022, 2:28 PM IST

ଭୁବନେଶ୍ବର:ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ(Chief Minister naveen patnaik) । ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ସ୍ଥିତିର ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି,''ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ, ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ଶୂନ୍ୟ ଜୀବନହାନି(Zero Casualty in Flood) । ତେଣୁ ଯେପରି କୌଣସି ଗୋଟିଏ ବି ଜୀବନହାନି ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର ।''

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା, ଜିରୋ କାଜୁଆଲଟି ଉପରେ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଜଳ ପଶିବା ଯୋଗୁଁ ଏବେ ଅନେକ ଗାଁ ଗଣ୍ଡା ଜଳମଗ୍ନ ରହିଛି । ବିଭିନ୍ନ ସ୍ଥାନରେ ରାସ୍ତାଘାଟ ଧୋଇଯାଇଛି । ଏ ଦିଗରେ ସତର୍କ ରହିବାକୁ ବନ୍ୟା ପ୍ରଭାବିତ ୧୦ ଜିଲ୍ଲାପାଳଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ''କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଅନ୍ତୁ । ବିପଦସଙ୍କୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦିଆଯିବ ।'' ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

NDRF, ODRAF ଓ Fire Service Unit ଗୁଡିକୁ ବିଭିନ୍ନ ବିପଦସଙ୍କୁଳ ସ୍ଥାନଗୁଡିକରେ ସଜାଗ ରଖିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥାଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଞ୍ଜିନିୟରିଂ ବିଭାଗଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖିଛନ୍ତି । ସେ କହିଛନ୍ତି ଯେ, ''ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି । ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି । ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି । କୌଣସି ଅବଶ୍ୟକ ନ ହେଲେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ । ଏହାଦ୍ବାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି NDRF ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି ।''

ଆଜି ମହାନଦୀର ମୁଣ୍ଡଳୀ ଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରଭାବିତ ହେବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି । ସବୁ ଜିଲ୍ଲା ପ୍ରଶାସନକୁ ହାଇଆଲର୍ଟରେ ରଖାଯାଇଛି । ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ CMC Commissioner ଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଛନ୍ତି । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 16, 2022, 2:28 PM IST

ABOUT THE AUTHOR

...view details