ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶୁକ୍ରବାର) ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ତରଳ ମେଡ଼ିକାଲ ଅମ୍ଳଜାନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଫଳରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲା ଗୁଡିକ ହେଲା, ଅନୁଗୋଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇ ପାରିବ । ଏହା ସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲି ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍ ୱାର୍ଡ ଓ ଦେବଗଡ ରାଜମୁଣ୍ଡା ସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟିକା ଭଣ୍ଡାର ଗୃହର ଉଦ୍ଘାଟନ କରିଛନ୍ତି ।