ଓଡିଶା

odisha

ETV Bharat / city

ବାତ୍ୟା ମୁକାବିଲାରେ ଓଡ଼ିଶା 1 ନମ୍ବର, ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ - CM naveen patnaik

ଜନସାଧାରଣଙ୍କ ଜୀବନ ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ସମ୍ଭାବ୍ୟ ବାତ୍ୟାକୁ ନେଇ ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଅଧିକ ପଢନ୍ତୁ...

ବାତ୍ୟା ମୁକାବିଲାରେ ଓଡ଼ିଶା 1 ନମ୍ବର, ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବାତ୍ୟା ମୁକାବିଲାରେ ଓଡ଼ିଶା 1 ନମ୍ବର, ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

By

Published : May 22, 2021, 9:04 PM IST

Updated : May 22, 2021, 10:49 PM IST

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ୟାସ' ର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ । ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସ' ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବାତ୍ୟା ମୁକାବିଲାରେ ଓଡ଼ିଶା 1 ନମ୍ବର, ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ସମସ୍ତ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଙ୍କୁଳ ବାସ ସ୍ଥାନରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର । ଜିଲ୍ଲାପାଳ ଓ ଏସ୍‌.ପି ମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।


ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦୁଇ ଦିନ ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ୟାସ' ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍‌ ଭାବରେ ନିର୍ଣ୍ଣୟ ହୋଇନାହିଁ । ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲା ଗୁଡିକ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁଁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।


ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଯଥା ODRAF, NDRF, ରାସ୍ତାରୁ ଗଛ କାଟି ସଫା କରିବା ମେସିନ୍ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ସମସ୍ତ ଯନ୍ତ୍ରପାତି ପ୍ରସ୍ତୁତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବାତ୍ୟା ପରେ ସବୁଠାରୁ କମ୍‌ ସମୟ ମଧ୍ୟରେ ରାସ୍ତାକୁ ସଫା କରିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଛନ୍ତି । ସେହିପରି ବିଦ୍ୟୁତ ଯୋଗାଣ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନଃସଂଯୋଗ ପାଇଁ ସମସ୍ତ ଟିମ୍‌ ଓ ଆବଶ୍ୟକ ଯନ୍ତ୍ରପାତି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ସ୍ଥଳେ ଅନ୍ୟ ରାଜ୍ୟରୁ ଅତିରିକ୍ତ ଟିମ୍‌ ଓ ଯନ୍ତ୍ରପାତି ଆଣି ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକ୍‌ସିଜେନ ଯୋଗାଣ ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ସମସ୍ୟା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବିପର୍ଯ୍ୟୟ ପରିଚାଳନାରେ ଓଡିଶାର ସ୍ବତନ୍ତ୍ର ଦକ୍ଷତା (Disaster Resilient) ରହିଛି । ପ୍ରତିବର୍ଷ ବାତ୍ୟାର ସମ୍ମୁଖୀନ ହେଉଛୁ । କୋଭିଡ ମହାମାରୀ ଯୋଗୁ ପରିସ୍ଥିତି ଆହୁରି ଜଟିଳ ହୋଇଛି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ । ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବାତ୍ୟାର ସମ୍ମୁଖୀନ ହେବା ପାଇଁ ରାଜ୍ୟସରକାର ପ୍ରସ୍ତୁତ । ଜନସାଧାରଣ ଭୟଭୀତ ନ ହୋଇ କର୍ତ୍ତୃପକ୍ଷଙ୍କ ପରାମର୍ଶକୁ ମାନିବା ସହିତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବାତ୍ୟାର ମୁକାବିଲା ପାଇଁ ନିୟମିତ ଭାବେ ପ୍ରସ୍ତୁତି ବୈଠକ କରାଯାଉଛି । ସମସ୍ତ ସଂପୃକ୍ତ ବିଭାଗ ଏଥିପାଇଁ ପ୍ରସ୍ତୁତ ରହିଛନ୍ତି । ଲୋକଙ୍କ ସ୍ଥାନାନ୍ତର ପାଇଁ ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖାଯାଇଛି । ଜଳ ଓ ବିଦ୍ୟୁତ ଯୋଗାଣ ପୁନଃସ୍ଥାପନ ପାଇଁ ଆବଶ୍ୟକ ଟିମ୍‌ ଓ ଯନ୍ତ୍ରପାତି ମଧ୍ୟ ପ୍ରସ୍ତୁତ ରଖାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ।



ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସବୁ ରିଫିଲିଂ ଷ୍ଟେସନକୁ ଅତିରିକ୍ତ ଡିଜି ସେଟ୍‌ ଦିଆଯାଇଛି । ଜିଲ୍ଲାଗୁଡିକ ସବୁ ଅକ୍ସିଜେନ ସିଲିଣ୍ଡର ଗୁଡିକୁ ଆଗୁଆ ରି-ଫିଲିଙ୍ଗ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟାର ସମ୍ଭାବନା ଥିଲେ ମଧ୍ୟ ଅନ୍ୟ ରାଜ୍ୟ ଗୁଡିକୁ ପୂର୍ବ ପରି ଅକ୍ସିଜେନ ଯୋଗାଣ ଜାରି ରହିବ ବୋଲି ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା କହିଛନ୍ତି ।

ବୈଠକରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ମାନେ ସେମାନଙ୍କ ପ୍ରସ୍ତୁତି ବିଷୟରେ ସୂଚନା ଦେଇଛନ୍ତି । ବାଲେଶ୍ବରରେ ୧୨୨୩ ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରି ରଖାଯାଇଛି ବୋଲି ସୂଚନା ଦିଆଯାଇଛି । ଏହା ସହିତ ଅକ୍ସିଜେନ ବ୍ୟବସ୍ଥା, ଉଦ୍ଧାର କାର୍ଯ୍ୟ, ଖାଦ୍ୟ, ଔଷଧ ଆଦି ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଛନ୍ତି । ଗର୍ଭବତୀ ମହିଳା ମାନଙ୍କ ସ୍ଥାନାନ୍ତରଣ ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି ସେମାନେ କହିଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା, ଡିଜି ଶ୍ରୀ ଅଭୟ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର, ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ, ଅଗ୍ନିଶମ ସେବା ଡିଜି ଏମ୍‌. ଅକ୍ଷୟ, ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : May 22, 2021, 10:49 PM IST

ABOUT THE AUTHOR

...view details