ଭୁବନେଶ୍ବର :ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରିଭାଗରେ ଦକ୍ଷିଣକୁ ଢଳି ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ଶକ୍ତ ଘୂର୍ଣ୍ଣିବଳୟ ପ୍ରଭାବରେ ଦିନ ତମାମ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିଲା । ଟୁଇନ୍ ସିଟିରେ ଅସ୍ତବ୍ୟସ୍ତ କଲା କାଳବୈଶାଖୀ । ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ଗଞ୍ଜାମ, କନ୍ଧମାଳ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ୭୦ ମିଲିମିଟରରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନ୍ୟପଟେ ଆରବ ସାଗରରୁ ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଶକ୍ତ ନହେବାରୁ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହେବାକୁ ଯାଉଛି ।