ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍ ୱିଣ୍ଡୋ) କମିଟି ବୈଠକ । ବୈଠକରେ ୧୨ଟି ନୂତନ ପୁଞ୍ଜି ନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୭୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୩,୫୩୫ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିହେବା ନେଇ ସୂଚନା ରହିଛି ।
୨୦୭୧ କୋଟିର ୧୨ଟି ନୂଆ ପ୍ରକଳ୍ପ ଅନୁମୋଦିତ: ମିଳିବ ସାଢ଼େ ୩ ହଜାର ନିଯୁକ୍ତି ଲୋକସେବା ଭବନରୁ ଆଜି ଭିସି ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସମ୍ପର୍କିତ ବିଷୟ ଉପସ୍ଥାପନ କରିଥିଲେ । ଅନୁମୋଦିତ ହୋଇଥିବା ପ୍ରକଳ୍ପଗୁଡିକ ମୁଖ୍ୟତଃ ପର୍ଯ୍ୟଟନ, ଆତିଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ପଶୁପାଳନ, ପଶୁଖାଦ୍ୟ ଉତ୍ପାଦନ, ଲଜିଷ୍ଟିକ୍ ପାର୍କ ଏବଂ ମାନୁଫ୍ୟାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହେବ ।
ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଆରୋପ କରିଛନ୍ତି । ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସମ୍ପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ସମୟାନୁବନ୍ଧିତ ନିର୍ମାଣ ଏବଂ ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ୱ ଆରୋପ କରି ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ କୌଶଳ ପ୍ରାପ୍ତ (ସ୍କିଲ୍ଡ୍ ଇନ୍ ଓଡିଶା) ଯୁବକ ଯୁବତୀମାନଙ୍କ ଉପରେ ସେ ଗୁରୁତ୍ୱ ଆରୋପ କରିଛନ୍ତି । ନିର୍ଦ୍ଧାରିତ ମାନକ ଅନୁସାରେ ଶିଳ୍ପ ପାଇଁ ଆବଶ୍ୟକ ଜମି ଓ ଜଳର ବାସ୍ତବ ଅନୁଶୀଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
ସେହିପରି ବ୍ୟବସାୟ ଅନୁକୁଳ ବାତାବରଣ, ପ୍ରଗତିଶୀଳ ଶିଳ୍ପ ନୀତି ଓ ସ୍ୱଚ୍ଛ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ଆଗୁଆ ରାଜ୍ୟ ହୋଇରହିଛି । ଗତ ୧୧୦ ଦିନ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକକ ବାତାୟନ କମିଟି ୪୦ଟି ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦନ କରିଛନ୍ତି । ଫଳରେ ରାଜ୍ୟରେ ୫୮୪୧.୪୦ କୋଟି ଟଙ୍କାର ପୁଞ୍ଜିନିବେଶ ସହ ପ୍ରାୟ ୨୦,୩୮୦ ଲୋକଙ୍କ ପାଇଁ ନୁତନ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।
ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପଂଚାୟତିରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ