ଭୁବନେଶ୍ବର:ପୁରୀ ଶ୍ରୀମନ୍ଦିରର ବିକାଶ ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହୋଇଛି । ଶ୍ରୀଜଗନ୍ନାଥଙ୍କ ମହତ କାର୍ଯ୍ୟରେ ଶ୍ରମ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ବର ସମଗ୍ର ହିନ୍ଦୁ ସମାଜ ଏଥିରେ ସାମିଲ ହେବାକୁ ଇଚ୍ଛା ରଖିଛନ୍ତି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ସମର୍ପଣ ନିଧି ସଂଗ୍ରହ ବ୍ୟବସ୍ଥା କରିବା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖି ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଗଜପତିଙ୍କ ମାର୍ଗଦର୍ଶନରେ ଏପରି ବ୍ୟବସ୍ଥା କରାଗଲେ ସମଗ୍ର ବିଶ୍ଵର ହିନ୍ଦୁ ମହାପ୍ରଭୁଙ୍କୁ ଦାନ କରିବାର ସୁଯୋଗ ପାଇପାରିବେ ବୋଲି ଧର୍ମେନ୍ଦ୍ର ଚିଠିରେ କହିଛନ୍ତି । ମନ୍ଦିରର ବିକାଶ, ସେବାୟତଙ୍କ ସାମଗ୍ରିକ ବିକାଶ, ଶ୍ରଦ୍ଧାଳୁଙ୍କ କଲ୍ୟାଣ ପାଇଁ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତି ନିରନ୍ତର ଓ ନିରଳସ ଉଦ୍ୟମ କରି ଆସୁଛନ୍ତି ।
ମହାପ୍ରଭୁ ଏବଂ ତାଙ୍କର ପବିତ୍ରତା ସହିତ ସଂଶ୍ଳିଷ୍ଟ ସବୁକିଛି ଓଡ଼ିଶାର ସାମାଜିକ ଓ ସାଂସ୍କୃତିକ ପରିଚୟର ମୂଳବିନ୍ଦୁ । ମହାପ୍ରଭୁ ଶ୍ରୀଜଗନ୍ନାଥ ଲୋକଙ୍କ ଦେବତା । ପ୍ରତି ବ୍ୟକ୍ତିର ହୃଦୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିରାଜମାନ । ତେଣୁ ସମଗ୍ର ହିନ୍ଦୁ ସମାଜ ଓ ସାଢେ ୪ କୋଟି ଓଡ଼ିଆଙ୍କ ମନରେ ମହାପ୍ରଭୁଙ୍କ କାମରେ ସହଯୋଗ ପାଇଁ ଅଦମ୍ୟ ଉତ୍ସାହ ରହିଛି । ତେଣୁ ମହାପ୍ରଭୁଙ୍କ ପାଇଁ ଏହି ବିଶାଳ ଧନ ସଂଗ୍ରହ ଅଭିଯାନର ସହଯୋଗର ପ୍ରକ୍ରିୟାକୁ ଜନଆନ୍ଦୋଳନ ଭାବରେ ପରିଣତ କରିବା । ଲୋକଙ୍କୁ ଏଥିରେ ଭାଗିଦାରୀ କରିବା ପାଇଁ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତିଙ୍କୁ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି ।