ଭୁବନେଶ୍ବର:ତାତିରୁ ମିଳିବ ଶାନ୍ତି । ୯ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ଉପକୂଳଅଞ୍ଚଳରେ ତାପମାତ୍ରା ସାମାନ୍ୟ କମ ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ଆଭ୍ୟନ୍ତରିଣ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକଠାରୁ ୩ ଡିଗ୍ରୀ ଅଧିକ ରହିବ । ଆଭ୍ୟନ୍ତରୀଣ ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ।
ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୪୧.୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ତା ସହିତ ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳ ବୈଶାଖୀ ଜନିତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଘୁର୍ଣ୍ଣିବଳୟ ରହିଛି । ଦକ୍ଷିଣ ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଆଉ ଏକ ଘୁର୍ଣ୍ଣିବଳୟ ରହିଛି ।