ଭୁବନେଶ୍ବର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେବାପରେ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rainfall in Odisha) ରେକର୍ଡ ହୋଇଛି । ଗଭୀର ଅବପାତ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ପାଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଅଞ୍ଚଳରେ ଝାରସୁଗୁଡାଠାରୁ ପୂର୍ବ-ଉତ୍ତର ଓ ରାଞ୍ଚିର ପୂର୍ବ-ଦକ୍ଷିଣ ଦିଗରେ ୧୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ।
ଏହା ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଉତ୍ତର ଛତିଶଗଡ଼ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଏନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର, ନୂଆପଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ।
ସେହିପରି ମୟୂରଭଞ୍ଜ, ଅନୁଗୁଳ, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ କାଲିଠାରୁ ବର୍ଷା କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।