ପୁରୀ: ବାର ମାସରେ ତେର ପର୍ବ । ବର୍ଷକ ଯାକ କାଳିଆ ପାଖରେ ପାଳନ ହୁଏ ନୀତିକାନ୍ତି । ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହୋଇଥାଏ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଆଜି ଶ୍ରୀଜିଉ ମକର ଚୌରାଶି ବେଶରେ ସଜେଇ ହୋଇଛନ୍ତି ।
ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯାଇଛି । ଏହା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥିଲା । ପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥିଲା । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥିଲା । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଆରମ୍ଭ ହେବ ଉତ୍ତରାୟଣ ଗତି । ଏହି ଉତ୍ତରାୟଣ ସମୟ ଅତିବ ଶୁଭଙ୍କର । ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାଶି ବେଶରେ ସଜିତ ହୋଇଛନ୍ତି ଶ୍ରୀଜିଉ ।