ସୁନ୍ଦରଗଡ:'ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି । ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ ଫିଲାନଥ୍ରପିକ୍ ସଂସ୍ଥା ପକ୍ଷରୁ ୧ ନିୟୁତ ଆମେରିକୀୟ ଡଲାର ପୁରସ୍କାର ସହିତ ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ବୈଷୟିକ ସହାୟତା ଓ ପରାମର୍ଶ ଯୋଗାଇ ଦିଆଯିବ।
ଏହି ପ୍ରତିଯୋଗିତାରେ ସାମିଲ ହୋଇ ରାଉରକେଲା ମହାନଗର ନିଗମ ପକ୍ଷରୁ ଏକ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଉରକେଲା ସହରର ଛେଣ୍ଡରେ ଏକ ୫ ଟନ୍ କ୍ଷମତା ବିଶିଷ୍ଟ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ ହେବା ଫଳରେ ସହରର ଛୋଟ ଛୋଟ ଚାଷୀ, ପନିପରିବା ତଥା ଫଳ ବ୍ୟବସାୟୀମାନେ ନିଜର ସାମଗ୍ରୀ ସେଠାରେ ସଂରକ୍ଷଣ କରିପାରୁଛନ୍ତି। ଏହି ଶୀତଳଭଣ୍ଡାରକୁ ପରିଚାଳନା କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ମଧ୍ୟ ସେମାନଙ୍କ ଜୀବିକା କରିପାରିଛନ୍ତି । ଏଥି ସହିତ ସହରବାସୀଙ୍କ ଦୁଆର ମୁହଁରେ ତାଜା ଫଳ ଓ ପନିପରିବା ପହଞ୍ଚିପାରୁଛି। ଏହି ପ୍ରକଳ୍ପରେ ଟେକ୍ନୋଲୋଜିର ବ୍ୟାପକ ବ୍ୟବହାର କରି ଏହାକୁ ଦୀର୍ଘସ୍ଥାୟୀ ତଥା ସଫଳ କରାଯାଇପାରିଛି। ଏହି ବିଶ୍ୱସ୍ତରୀୟ ସଫଳତା ପାଇଁ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଏବଂ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ନିଗମର କର୍ମକର୍ତ୍ତା ଏବଂ ପ୍ରକଳ୍ପ ସହ ସଂପୃକ୍ତ ସମସ୍ତ ଅଂଶୀଦାର ଓ ରାଉରକେଲାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ କହିଛନ୍ତି ଯେ ବ୍ଲୁମବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜରେ ଭାଗନେଇ ରାଉରକେଲା ବିଶ୍ଵର ପ୍ରମୁଖ ୧୫ଟି ସହର ଭିତରେ ସ୍ଥାନ ପାଇବା ଆମ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଗର୍ବର ବିଷୟ । ଆଗାମୀ ଦିନରେ ଏଭଳି ଅଭିନବ ପ୍ରକଳ୍ପ ପରିକଳ୍ପନା କରିବା ଦିଗରେ ଏହି ପୁରସ୍କାର ନିଶ୍ଚିତ ଭାବେ ସମସ୍ତଙ୍କୁ ଉତ୍ସାହିତ କରିବ। ବିଶେଷକରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସକ୍ରିୟ ଭୂମିକା ଫଳରେ ଏହି ପ୍ରକଳ୍ପ ସହରର ସମସ୍ତ ଅଂଶୀଦାରମାନଙ୍କୁ ସୁଫଳ ଯୋଗାଇ ଦେଉଛି ।