ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି । ମୋଟ ୨୧୫ କୋଟି ଟଙ୍କାର 29ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ସହ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ପ୍ରକଳ୍ପରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଯୋଗାଯୋଗ, ଜଳସେଚନ, ପର୍ଯ୍ୟଟନ ଆଦି ବିଭିନ୍ନ କ୍ଷେତ୍ରର ବିକାଶ ଉପରେ ଏଥିରେ ଗୁରୁତ୍ବ ଦିଆଯାଇଛି । ଗାଁକୁ ସହର ସହିତ ଯୋଡିବା ସହ ସବୁ ଅଞ୍ଚଳର ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଛନ୍ତି ।
ବିଜୁ ସେତୁ ଯୋଜନାରେ ବୋରିକିନା-ସୁଙ୍ଗୁଡା ରାସ୍ତାର ସ୍ଥାନୀୟ ନାଳ ଉପରେ ସେତୁ, ପାଇକା ନଦୀ ଉପରେ ଲଙ୍କାପଡାରେ ଏକ ଉଚ୍ଚସ୍ତରୀୟ ସେତୁ ଉଦଘାଟିତ ହୋଇଛି । ଏହା ସହ ମା ଶାରଳାଙ୍କ ମନ୍ଦିର ନିକଟରେ ମାର୍କେଟ କମ୍ପ୍ଲେକ୍ସ, ପାରାଦୀପ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପ କୋଭିଡ ଚିକିତ୍ସାଳୟରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦନ ଓ ବଣ୍ଟନ ଆଦି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହେବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ।
କାର୍ଯ୍ୟକ୍ରମରେ ଯୋଗ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଜଗତସିଂହପୁରର ବିଭିନ୍ନ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଯୋଗୁଁ ଆଜି ଓଡିଶା ମହିଳା ସଶକ୍ତିକରଣଠାରୁ ଆରମ୍ଭ କରି କ୍ରୀଡାର ବିକାଶ ହୋଇଛି । ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ କ୍ଷେତ୍ରରେ ସାରା ଦେଶ ପାଇଁ ଆଦର୍ଶ ହୋଇପାରିଛି ବୋଲି ଉଭୟ ମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ପ୍ରମୁଖ ବକ୍ତବ୍ୟ ରଖି ଓଡିଶାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି ।