ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବା ବେଳେ ଆହୁରି ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାକୁ ନେଇ ଆଜି ପାଇଁ ୨୧ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଅଧିକ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ.ଆର୍ ବିଶ୍ବାସ ।
ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀର ଅଧିକ ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, ମୟୂରଭଞ୍ଜ ଓ ବାଲେଶ୍ଵର ।