ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ଲୋକସେବା ଭବନ କନଭେନସନ୍ ସେଣ୍ଟର (Lok Seva Bhawan Convention Centre ) ରୁ ମିଶନ ଶକ୍ତି (Mission Shakti self help group) ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ବିଶ୍ବାସ ପ୍ରକଟ କରିଛନ୍ତି । ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘‘ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ ।’’ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ।
ଏହାବି ପଢନ୍ତୁ- ଦେଶର ବିକାଶ ଯାତ୍ରାରେ ପ୍ରବାସୀ ଭାରତୀୟଙ୍କ ଭୂମିକା ରହିଛି: ପ୍ରଧାନମନ୍ତ୍ରୀ