ଭୁବନେଶ୍ବର: ବିଶ୍ୱବ୍ୟାପୀ ମିଲେଟକୁ ମିଳିବ ପ୍ରୋତ୍ସାହନ । ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍ ବର୍ଷ ଭାବରେ ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ ମିଶନ ପକ୍ଷରୁ କ୍ଷୁଦ୍ର ଶସ୍ୟ ଭାବେ ମିଲେଟର ଗୁରୁତ୍ୱ ବୃଦ୍ଧି ପାଇବ । ଏହାର ଉପକାରିତା ସଂପର୍କରେ ପ୍ରଚାର ପ୍ରସାର କରିବା ପାଇଁ ବର୍ଷସାରା କାର୍ଯ୍ୟକ୍ରମ ଆୟୋଜନ ହେବ । ଏନେଇ କୃଷି ବିଭାଗ ଓ ଫିକି ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଏବଂ ଫିକିର ଆସିଷ୍ଟାଣ୍ଟ ସେକ୍ରେଟାରୀ ଜେନେରାଲ ମୌସୁମୀ ଘୋଷ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛନ୍ତି ।
ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ, "ମିଲେଟକୁ ଘରେ ଘରେ ଆଦୃତ କରାଇବା ସହିତ ଏହାକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ବର୍ଷସାରା ଅନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ କରିବା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ । ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ନିୟମିତ ସମୀକ୍ଷା କରାଯିବ । ବୁଝାମଣାପତ୍ର ଅନୁଯାୟୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଫିକିର ସହଭାଗିତାରେ ବର୍ଷସାରା ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହେବ । ଫିକି ଓ ଓଡ଼ିଶା ସରକାର ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବେ ।"
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ନିୟମିତ ଭାବେ କାର୍ଯ୍ୟକ୍ରମଗୁଡ଼ିକ ସମୀକ୍ଷା ଏବଂ ତଦାରଖ ସହିତ ଏଥି ନିମନ୍ତେ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବ । ମିଲେଟର ପ୍ରଚାର ପ୍ରସାର ଦିଗରେ ଜନସଂପର୍କ ସଂସ୍ଥା, ଡିଜାଇନର ପାର୍ଟନର, ଇଭେଣ୍ଟ ମ୍ୟାନେଜମେଣ୍ଟ, ନଲେଜ ପାର୍ଟନର, ଗବେଷଣା ଆଦିରେ ଫିକି ସହଭାଗିତା ଯୋଗାଇ ଦେବ । ମିଲେଟର ପ୍ରଚାର ପାଇଁ ବ୍ରାଣ୍ଡ ଆମ୍ବାସଡର ନିଯୁକ୍ତି, ସାମାଜିକ ଗଣମାଧ୍ୟମରେ ପ୍ରଚାର ଆଦି କାର୍ଯ୍ୟ ସହିତ ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଅହମଦାବାଦ, ହାଇଦ୍ରାବାଦ, ଚେନ୍ନାଇ ଆଦି ସହରରେ ମିଲେଟ ଫୁଡ ଫେଷ୍ଟିଭାଲ ଆଦିର ଆୟୋଜନ କରାଯିବ । ବିଭିନ୍ନ ଏଫଏମସିଜି କମ୍ପାନୀମାନଙ୍କୁ ମିଲେଟ ଜାତୀୟ ଖାଦ୍ୟକୁ ମୂଲ୍ୟଯୁକ୍ତ କରିବା ପାଇଁ ପୁ୍ଞ୍ଜିନିବେଶ ଦିଗରେ ଆଲୋଚନା ହେବ ।