ଭୁବନେଶ୍ବର:ରାଜ୍ୟରେ ୩ ହଜାର ୧୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୩ ହଜାର ୧୬୦ କୋଟି ଟଙ୍କାର ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ ହୋଇଛି । ୮୨୨ କୋଟି ଟଙ୍କାର ଏହି ୨ଟି ପ୍ରକଳ୍ପ ଦ୍ୱାରା ୧ଲକ୍ଷ ୧୨ହଜାର ହେକ୍ଟର ଜମି ଜଳସେଚିତ ହେବ । ସେହିପରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଓ ଖଇରି ଭଣ୍ଡନ ବ୍ୟାରେଜ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ୨ ହଜାର ୩୩୮ କୋଟି ବିନିମୟରେ ଏହି ୨ଟି ପ୍ରକଳ୍ପ ଦ୍ୱାରା ୪୭ହଜାର ହେକ୍ଟର ଜମି ଜଳସେଚିତ ହେବ । ଫଳେରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ଚାଷୀ ଉପକୃତ ହେବେ ।
ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ୨୮ କିମି ଦୀର୍ଘ ବୈତରଣୀ ବାମ ପାର୍ଶ୍ୱ କେନାଲ ଦ୍ୱାରା ବୈତରଣୀ ଓ ସାଳନ୍ଦି ନଦୀକୁ ଯୋଡାଯାଇଛି । ଏହାଦ୍ୱାରା କେନ୍ଦୁଝରର ହାଟଡିହି ଓ ଆନନ୍ଦପୁର ବ୍ଲକରେ ୨ ହଜାର ୨୨୧ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ । ଏହା ସହିତ ବାଲେଶ୍ୱର ଜିଲ୍ଲାର ୭ଟି ବ୍ଲକରେ ୫୬ ହଜାର ୫୫୦ ହେକ୍ଟର ଜମିକୁ ଖରିଫ୍ ଋତୁରେ ଜଳସେଚନ ସୁବିଧା ମିଳିବ । ଏହା ସହିତ ସାଳନ୍ଦି ଡ୍ୟାମରେ ଗଚ୍ଛିତ ଜଳକୁ ବ୍ୟବହାର କରାଯାଇ ରବି ଋତୁରେ ୫୦ହଜାର ହେକ୍ଟର ଜମିକୁ ମଧ୍ୟ ଜଳସେଚନର ସୁବିଧା ଦିଆଯିବ । ସମୁଦାୟ ୧ ଲକ୍ଷ ୦୮ ହଜାର ୭୭୧ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିବ ।
ସେହିପରି ହଳଦିଆ ଡ୍ୟାମ ହେଉଛି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଏକ ଅଂଶ । ବର୍ତ୍ତମାନ ସୁଦ୍ଧା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଜରିଆରେ ୬୨ ହଜାର ୪୮୦ ହେକ୍ଟର ଜଳସେଚନର ସୁବିଧା ଦିଆଯାଇଛି । ହଳଦିଆ ଡ୍ୟାମ ଦ୍ୱାରା ଆଉ ୫ହଜାର ୫୨୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରୀ ହେବା ପରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୩୯ ହଜାର ୬୯୪ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିପାରିବ । ସେହିପରି ମୟୂରଭଞ୍ଜ ଜିଲ୍ଲାର ଅଂଳାବଣୀ ଗ୍ରାମ ନିକଟରେ ଖଇରି ଭଣ୍ଡନ ନଦୀ ଉପରେ ବ୍ୟାରେଜ କାମ ଆରମ୍ଭ କରାଯିବ । ଏହାଦ୍ୱାରା ୩ଟି ବ୍ଲକର ୬ହଜାର ୯୫୦ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିବ । ୩୫ହଜାର ଲୋକଙ୍କୁ ପିଇବା ପାଣିର ସୁବିଧା ମିଳିପାରିବ ।