ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ଆର୍ଥିକ ସହାୟତା ରାଶି ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଛନ୍ତି । ଏହା ସହ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ବାବଦରେ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି । ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ବପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ବ ବହନ କରୁଛନ୍ତି । ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ପାଚିକା ଓ ସହାୟିକାମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ବ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ । ୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି । ଅନ୍ୟାନ୍ୟ ସବୁ ଦାୟିତ୍ବ ପରି ଏ ଦାୟିତ୍ବ ମଧ୍ୟ ପାଚିକା ଓ ସହାୟିକାମାନେ ଭଲ ଭାବରେ ପାଳନ କରୁଛନ୍ତି । ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି । ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ ।