ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି । ଏବେବି ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସକ୍ରିୟ ଥିବା ବେଳେ ମୌସୁମୀ ମଧ୍ୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆହୁରି ୨ ଦିନ ରାଜ୍ୟରେ ଭାରି ବର୍ଷା ଜାରି ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ ଓ ବାଲେଶ୍ୱର ।
ସେହିପରି ଆସନ୍ତାକାଲି ଅର୍ଥାତ୍ 7 ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 13ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରପଡ଼ା । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ବିଭାଗ । ସେହିପରି 8 ତାରିଖରେ ରାଜ୍ଯରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 9, 10 ଓ 11 ତିରଖରେ ବିଭିନ୍ନ ଜିଲ୍ଲାର କିଛି କିଛି ଅଞ୍ଚଳରେ ମଧ୍ୟମରୁ କମ୍ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।