ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିବ ବଡ଼ ବର୍ଷା । ସେପ୍ଟେମ୍ବର ୧୧ ତାରିଖ ଯାଏଁ ରାଜ୍ୟରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୨ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଆସନ୍ତା ୧୨ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଡ଼ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜିଠାରୁ ବର୍ଷାର ପରିମାଣ କମିଥିବା ବେଳେ କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି । ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହୁଥିବାରୁ ଓଡ଼ିଶାରେ ବର୍ଷାର ପରିମାଣ କମିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୮ ଜିଲ୍ଲା ଯଥା- ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୨ରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବର୍ଷାର ବିସ୍ତୃତି ବଢିବା ସହ ଭାରି ବର୍ଷାର ସମ୍ଭାବନା ରହିଛି ।