ନୟାଗଡ : କଣ୍ଟିଲୋ ନୀଳମାଧବ ପୀଠର ହେବ ନବକଳେବର । ଏଥି ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଦେଇଛନ୍ତି ।
ଏଥିପାଇଁ ୧୮ ମାସ ମଧ୍ୟରେ କାମ ଶେଷ ହେବା ସହ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ l ସମନ୍ବିତ୍ବ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ l ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି l ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।
ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସମ୍ପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ।
ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ । 5T ସଚିବ ଭିକେ ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟର ପ୍ଲାନରେ ମୁଖ୍ୟତଃ ମନ୍ଦିର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।