ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା 6ରୁ ରାତି 10ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବା କାରଣରୁ ଆଜି ସନ୍ଧ୍ୟା 6 ଟାରୁ ରାତି 10 ଟା ପର୍ଯ୍ୟନ୍ତ ପ୍ରାୟ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାପଡିଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।
ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।