ପୁରୀ:ଆଜି (ବୁଧବାର) ପୌଷ କୃଷ୍ଣ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ଅପରାହ୍ନ ୪ଟାଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଥାନ୍ତି ।
ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।
ଏହା ବି ପଢନ୍ତୁ- ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ