ପୁରୀ:ଶ୍ରୀମନ୍ଦିରରେ ଆଜି ଦେବୀ ଉତ୍ଥାପନ ନୀତି । ଶ୍ରୀଦୁର୍ଗା ଦେବୀଙ୍କର ଶୟନକାଳ ହେଉଛି ଭାଦ୍ରବ ମାସ ଶୁକ୍ଲପକ୍ଷ ଅଷ୍ଟମୀଠାରୁ ଆଶ୍ଵିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ପର୍ଯ୍ୟନ୍ତ । ଦେବୀ ଦୁର୍ଗା ଭାଦ୍ରବ ଶୁକ୍ଲ ଅଷ୍ଟମୀ ରାତ୍ରିରେ ଶୟନ କରନ୍ତି ଓ ଆଶ୍ଵିନ କୃଷ୍ଣ ଅଷ୍ଟମୀ ଦିବା ଭାଗରେ ଶୟନରୁ ଉଠନ୍ତି । ଚନ୍ଦ୍ରମାନ ମାସର ଏହି ପନ୍ଦର ଦିନ ମଧ୍ୟରେ କେତେବେଳେ ତିଥି ବୃଦ୍ଧି ସମ୍ଭବ ହେଲେ ମଧ୍ୟ ଦେବୀ ଦୁର୍ଗାଙ୍କର ଶୟନକାଳ ନିର୍ଦ୍ଦିଷ୍ଟ ପନ୍ଦର ଦିନରୁ ବଢ଼ି ନଥାଏ । ତେଣୁ ତିଥି ବୃଦ୍ଧି ନଥିଲେ ଆଶ୍ଵିନ କୃଷ୍ଣ ଅଷ୍ଟମୀ ଦିନ କିମ୍ବା ତିଥି ବୃଦ୍ଧିରେ ସପ୍ତମୀ ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସକାଳ ଧୂପ ସରିବା ପରେ ଭଣ୍ଡାର ଘରୁ ଦୁର୍ଗାଦେବୀଙ୍କର ଚଳନ୍ତି ବିଗ୍ରହ ଆଜ୍ଞାମାଳ ପାଇ ପତିମହାପାତ୍ରଙ୍କ ହସ୍ତରେ ଆସି ସୋମନାଥ ମଣ୍ଡପ ଖଟ ଉପରେ ବିଜେ ହୁଅନ୍ତି ।
ସେଠାରେ ପୁଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ଆଚାର୍ଯ୍ୟ ବ୍ରାହ୍ମଣ ବରଣ ହୋଇ ଶ୍ରୀଦୁର୍ଗା ଦେବୀଙ୍କର କୋଠଭୋଗ ପାଣିଆ ସେବକ ଯୋଗାଇଥିବା ଏକ ସହସ୍ର ଗରା ଜଳଲାଗି କରନ୍ତି । ପରେ ଶ୍ରୀଅଙ୍ଗ ପୋଛା ପରେ ଲୁଗା ଲାଗି ହୋଇ ବେଶ ହୋଇଥାଆନ୍ତି । ପାଣି ପଡ଼ି ଶୀତଳ ଭୋଗ ଓ ବନ୍ଦାପନାଦି ଶେଷ ହେଲେ ଦେବୀ ବିଗ୍ରହଙ୍କୁ ଭଣ୍ଡାର ଘର ଦ୍ଵାରଦେଶରେ ବିଜେ କରାଗଲା ପରେ ସହସ୍ରା କୁମ୍ଭାଭିଷେକ ନୀତି ସମାପ୍ତ ହୁଏ । ଶ୍ରୀମନ୍ଦିରରେ ଦେବୀ ଉତ୍ଥାପନ ଓ ସହସ୍ର କୁମ୍ଭାଭିଷେକ-ଦେବାଦେବୀଙ୍କର ଶୟନ ଓ ଉତ୍ଥାପନ ଆଦିରେ ବହୁବିଧ କର୍ମ ସମ୍ପାଦିତ ହେଉଥିଲେ ମଧ୍ୟ ତନ୍ମଧ୍ୟରୁ ଅଭିଷେକ ବିଧିର ଯଥେଷ୍ଟ ପ୍ରାଧାନ୍ୟ ରହିଛି ।
ଏହାମଧ୍ୟ ପଢନ୍ତୁ: Srimandir Rituals: ଆଜି ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ ନୀତି