ପୁରୀ:ଆଜି ସୋମବାର ବୈଶାଖ-କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଆଜି 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜିଉମାନଙ୍କ ପଇତାଲାଗି ନୀତି ଦ୍ଵିତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ । ଏହି ପଇତାଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଠୀଗତ ସେବା ଅଟେ ।
ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତାଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବଳିଥାନ୍ତି । ପଇତା ବଳି ସାରି ପାଟରା ସେବକ ଉକ୍ତ ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।
ସେହିପରି ମହାପ୍ରଭୁଙ୍କ ବନକ ଲାଗି ଏକ ପ୍ରମୁଖ ନୀତି । ଏହି ନୀତିରେ ମଧ୍ୟ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଏ । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ତିନି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।
ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗ ଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।
ଇଟିଭି ଭାରତ, ପୁରୀ