ପୁରୀ:ଆଜି ପବିତ୍ର ରାମନବମୀ । ଆଜି ପ୍ରଭୁ ଶ୍ରୀମ ଚନ୍ଦ୍ରଙ୍କ ଜନ୍ମଦିନ । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମ ନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶ୍ରୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମ ଦେବେ । ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁର ମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ଏନେଇ ଦୁଇ ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ ।
ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ କରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତୀ ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି । ତେବେ ପବିତ୍ର ରାମ ନବମୀ ତିଥିରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆଜି ଶ୍ରୀ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି ।