ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର ଉପାୟ ପାଇ ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ଗଜରାଜ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କର ଏହିଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଦ୍ବିପ୍ରହର ଧୂପ ସରିବା ପରେ ସନ୍ଧ୍ୟାରେ ସାହାଣ ମେଲା ହେବା ଯାଏ ରହିଥାଏ । ଗଜଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ।
ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି ଶ୍ରୀଜଗନ୍ନାଥଙ୍କ ଚାରିହସ୍ତରେ ସୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭା ପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଊର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ (ବାମ) ଓ ମୂଷଳ (ଦକ୍ଷିଣ) ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି । ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ ।