ଓଡିଶା

odisha

ETV Bharat / state

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ - puri news

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବେଶ । ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

By

Published : Nov 30, 2020, 8:22 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବେଶ । କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ବର ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ ।

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ଅତୀତରେ ଓଡିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୂରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ରାଜା କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ବର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।

ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୂପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଦର୍ଶନ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ତେବେ ଚଳିତ ବର୍ଷ କୋଭିଡ କଟକଣା ହେତୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି । ଫଳରେ ଏହି ଦୁର୍ଲଭ ବେଶ ଦର୍ଶନରୁ ଆଜି ହଜାର ହଜାର ଭକ୍ତ ବଞ୍ଚିତ ହୋଇଛନ୍ତି ।

‌ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details