ପୁରୀ :ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତିର କଲେ ଅନୁଧ୍ୟାନ। ପୁରୀରେ ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନାର ପ୍ରକୋପ ହ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ ।
ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ ଯାତ୍ରୀ ମାନଙ୍କ ସୁରକ୍ଷା ଓ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।
ଏନେଇ ଗୁରୁବାର ଅପରାହ୍ନରେ ରଥଯାତ୍ରା ସମ୍ପର୍କରେ ଏକ ସମୀକ୍ଷା ବୈଠକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ପ୍ରତ୍ୟେକ ବିଭାଗ ଉତ୍ତରଦାୟୀ ଓ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ବିଶେଷ କରି ରାସ୍ତା ଘାଟ ମରାମତି, ଡ୍ରେନ ସଫା ଓ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଓ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ସୁନାବେଶ ରେ ଅତିରିକ୍ତ ଉଜ୍ଜ୍ବଳ ଆଲୋକ ବ୍ୟବସ୍ଥା, ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ, ରଥଯାତ୍ରା ପାଇଁ ଆସୁଥିବା ଯାତ୍ରୀମାନଙ୍କ ନିମନ୍ତେ ଆଶ୍ରୟ ସ୍ଥଳ ବ୍ୟବସ୍ଥା, ରଥଯାତ୍ରା ପୂର୍ବରୁ ବଡ଼ଦାଣ୍ଡରୁ ସମସ୍ତ ଅବରୋଧ ଓ କ୍ୟାବିନ ଅପସାରଣ, ବର୍ଷା ହେଲେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା, ରାସ୍ତା ଅବରୋଧ କରି ଗାଡି ପାର୍କିଂ କରୁଥିଲେ ତୁରନ୍ତ ହଟେଇବା ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ ।