ରାୟଗଡା: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଧିକାରୀ ସାମ୍ବିଦକଙ୍କ ବିରୋଧରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଆଜି(ଶୁକ୍ରବାର) ରାୟଗଡା କାର୍ଯ୍ୟରତ ସାମ୍ବାଦିକ ଏହାର ପ୍ରତିବାଦ କରିଛନ୍ତି । ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ପୋଲିସର ଏପରି ଜୁଲୁମକୁ ବିରୋଧ କରି ରାୟଗଡ ମିଡ଼ିଆ କେୟାର ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୀଳଗିରି ଆଇଆଇସି ଦ୍ରୌପଦୀ ଦାସଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।
ଏଥିସହ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ଏକ ଦାବିପତ୍ର ରାୟଗଡ ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ସ୍ଥାନୀୟ ସର୍କିଟ ହାଉସ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣ ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର ଜଣେ କାର୍ଯ୍ୟରତ ସାମ୍ବାଦିକ ଲୋକନାଥ ଦଳେଇଙ୍କୁ ପୋଲିସ ଗିରଫ କରି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଚିକିତ୍ସାଳୟରେ ତାଙ୍କ ଗୋଡରେ ବେଡି ପକାଇବାକୁ ସାଧାରଣରେ ତୀବ୍ର ନିନ୍ଦା କରାଯାଉଛି ।