ପୁରୀ: ଆଜି ମାଘ କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆଜି 5 ଘଣ୍ଟା ଦର୍ଶନ ବନ୍ଦ:
ବନକଲାଗି ନୀତି ମହାପ୍ରଭୁଙ୍କ ଏକ ଗୁପ୍ତନୀତି ଅଟେ । ଏଥିପାଇଁ ଆଜି 5 ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ଯା 5ଟାରୁ ରାତ୍ରି 10ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦର୍ଶନ ରହିବ ।
ମହାପ୍ରଭୁଙ୍କୁ ଗୁପ୍ତନୀତି ‘ବନକଲାଗି’:
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସଂପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।
ଏହା ମଧ୍ୟ ପଢନ୍ତୁ: ଜଗା ସେବାରେ ଯୋଗୀ, ତାଙ୍କ ହାତ ତିଆରି କୁଡୁଆରେ ରନ୍ଧା ହେଉଛି ମହାପ୍ରସାଦ - mahaprasad pots ମକର ଭୋଗରେ ମହକୁଛି ବଡଦାଣ୍ଡ, ମହାପ୍ରଭୁଙ୍କ ଦର୍ଶନ କଲେ ହଜାର ହଜାର ଭକ୍ତ |
ବନକଲାଗି ନୀତିର ସ୍ବତନ୍ତ୍ରତା:
ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗ ଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ତେବେ ବନକ ଲାଗି ନୀତି ପରେ ମହାପ୍ରଭୁ ଅନ୍ୟାନ୍ୟ ନୀତି ବଢିବା ସହ ସାଧାରଣ ଦର୍ଶନ ଆରମ୍ଭ ହୋଇଥାଏ ।
ଇଟିଭି ଭାରତ, ପୁରୀ