ଭୁବନେଶ୍ବର: ଆଜି ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ନେତା ଟ୍ବିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ରାଷ୍ଟ୍ରପତି ଇଂରାଜୀ, ହିନ୍ଦୀ, ବଙ୍ଗଳା ଓ ଓଡିଆ ଭାଷାରେ ଟ୍ବିଟ କରି ସୁଭାଷଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ବିରତ୍ବ ଓ ଦେଶ ଭକ୍ତି ଆମକୁ ପ୍ରେରଣା ଦେଉଥିବ ବୋଲି କହିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ବିରତ୍ବ ଗାଥା ଭାରତ ସବୁବେଳେ ମନେ ରଖିବ ବୋଲି କହିଛନ୍ତି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଅବସରରେ ସେ ଓଡିଶାର ବୀର ସନ୍ତାନ ବୋଲି ଦର୍ଶାଇଛନ୍ତି । ତାଙ୍କର ଅଦମ୍ୟ ସାହସ, ବୀରତ୍ବ ଓ ଉତ୍ସର୍ଗୀକୃତ ଦେଶପ୍ରେମ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ନବୀନ କହିଛନ୍ତି । ଏହାସହ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।