ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି (ଶୁକ୍ରବାର) ବସିଥିଲା ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକ । ବୈଠକରେ ୬ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନୀତିଗତ ଅନୁମୋଦନ ଦିଆଯାଇଛି । ପ୍ରକଳ୍ପ ମାଧ୍ୟମରେ ୪୯୩.୬୨ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବ । ଏହା ସହ ୧୩୧୭ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ଲୋକସେବା ଭବନରୁ ଭିସି ଜରିଆରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସମ୍ପର୍କିତ ବିଷୟ ଉପସ୍ଥାପନ କରିଛନ୍ତି । ପ୍ରକଳ୍ପ ଗୁଡିକ ମୁଖ୍ୟତଃ ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଷ୍ଟିଲ୍ ଡ଼ାଉନଷ୍ଟ୍ରିମ୍ ଏବଂ ମାନୁଫାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହେବ ।
ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ବରିତ କ୍ଷେତ୍ରାନ୍ବୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବରୋପ କରିଛନ୍ତି । ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଶ୍ବପ୍ରସିଦ୍ଧ ଚିଲିକା ହ୍ରଦରେ ପର୍ଯ୍ୟଟନ ବିକାଶ ପାଇଁ ଏକ ମାଷ୍ଟର-ପ୍ଲାନ୍ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚିଲିକାରେ ଥିବା ବିଭିନ୍ନ ଦୀପକୁ ମିଶାଇ ଏକ ସମନ୍ବିତ ଯୋଜନା ପ୍ରସ୍ତୁତି ଲାଗି ନିର୍ଦ୍ଦେଶ ଦିଆଯାଇଛି ।
ପୂର୍ବରୁ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ସମୟାନୁବନ୍ଧିତ ନିର୍ମାଣ ଏବଂ ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ବ ଦିଆଯାଇଛି । ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲକୁ ନିର୍ଦ୍ଦେଶ ଦେଇଛନ୍ତି । ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ କୌଶଳ ପ୍ରାପ୍ତ ଯୁବକ ଯୁବତୀଙ୍କର ନିଯୁକ୍ତି ଉପରେ ସେ ଗୁରୁତ୍ବରୋପ କରିଛନ୍ତି । ନିର୍ଦ୍ଧାରିତ ମାନକ ଅନୁସାରେ ଶିଳ୍ପ ପାଇଁ ଆବଶ୍ୟକ ଜମି ଓ ଜଳର ବାସ୍ତବ ଅନୁଶୀଳନ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଂଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ