ଭୁବନେଶ୍ବର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନିଅ । ନିଷ୍ଠାର ସହ କାମ କର । ଲୋକଙ୍କ ସାଥିରେ ରୁହ । ସେମାନଙ୍କ ସମସ୍ୟା ସମାଧାନ ପାଇଁ କାମ କର । ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଗୁରୁମନ୍ତ୍ର । ଲୋକସେବା ଭବନରେ ଭେଟି ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସିଏମ ନବୀନ ପଟ୍ଟନାୟକ । ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି କର୍ମଶାଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଯାହା ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶମୁଖି ଦେଶମାନଙ୍କ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ।
ଜାଗା ମିଶନ, ସୁଜଳ, ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା, ମୁକ୍ତା ଯୋଜନା, ଆହାର ଏବଂ ସ୍ମାର୍ଟ LED ଲାଇଟ ଆଦି ସରକାରଙ୍କ ପ୍ଲାଗସିପ ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ଭାଷଣରେ ଫୋକସ କରିଛନ୍ତି । ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି । ଏ ପର୍ଯ୍ୟନ୍ତ ଏକ ଲକ୍ଷ 75 ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଛି । 585 ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି । ସେହିପରି ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଛି । ରାଜ୍ୟର କୋଡିଏଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ ପ୍ରବାସୀ ଶ୍ରମିକ ମାନଙ୍କ ପାଇଁ ଆରମ୍ଭ ହୋଇଥିଲା ମୁକ୍ତା ଯୋଜନା । ଏହି ମୁକ୍ତା ଯୋଜନା ଆଗାମୀ ଦିନରେ ମଧ୍ୟ ଜାରି ରହିବ । ଏଥିପାଇଁ ବଜେଟରେ 500କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ହୋଇଛି । ସମାଜରେ ପରିମଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ପୌର ନିର୍ବାଚନରେ ମାଆମାନେ ବହୁ ସଂଖ୍ୟାରେ ଭାଗ ନେଇଛନ୍ତି । ସେମାନେ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଛନ୍ତି । ଏହା ସହ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ବିଶେଷ ଅଭିନନ୍ଦନ ଜଣାଇଛନ୍ତି । ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ସେ ପରାମର୍ଶ ଦେଇଛନ୍ତି । ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ 5Tର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ପ୍ରତ୍ୟେକ ସ୍ତରରେ 5Tକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି । କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥିଭାତନାନ ଓ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ,ଇଟିଭି ଭାରତ