ଭୁବନେଶ୍ବର: ଶ୍ରମିକଙ୍କ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ।
ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ପ୍ରତ୍ଯେକ ଦିନର ମଜୁରି ସହିତ ଅତିରିକ୍ତ 50 ଟଙ୍କା ପ୍ରଦାନ କରାଯାଇଛି । ପ୍ରତ୍ଯେକ ଶ୍ରମିକ 4500 ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ମଧ୍ୟ ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି ।
କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । MGNREGSରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି । ବର୍ଷ ଶେଷ ସୁଦ୍ଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖା ଯାଇଛି ।
ଗତ ଏକ ବର୍ଷ ଧରି କୋଭିଡ ଲଢେଇ ମଧ୍ୟରେ ଲକଡାଉନ, ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠା ଦୋକାନୀଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନାର ଦ୍ଵିତୀୟ ଲହର ସମ୍ପୂର୍ଣ୍ଣ ଶେଷ ହୋଇନାହିଁ । ତେଣୁ ସମସ୍ତେ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର MGNREGS ଶ୍ରମିକମାନେ ଭିଡିଓ କନଫରେନସିଂ ଯୋଗେ ଯୋଡି ହୋଇଥିଲେ । ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି । ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଯ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି ।
ଗରିବ, କୃଷକ, ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଆଲୋକପାତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବ ବୋଲି ସେ କହିଛନ୍ତି । ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ଯାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବର ଉଚ୍ଚ ପ୍ରଶଂସା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(5T) ଭି. କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଗରିବ ଲୋକଙ୍କ କଲ୍ଯାଣ କାର୍ଯ୍ୟକ୍ରମରୁ ମିଳେ ସବୁଠାରୁ ଅଧିକ ଆତ୍ମସନ୍ତୋଷ - ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ସବୁଠାରୁ ଅଧିକ ଆତ୍ମ ସନ୍ତୋଷ ଦେଇଥାଏ । ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବା ବୋଲି ଆଶା ।
ଅଧିକ ଶ୍ରମ ଦିବସ ସୃଷ୍ଟି କରି ରୋଜଗାର ଦେବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରାଯିବ । ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ