ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପରେ ଆଉ ଆସୁଛି ଆଉ ଏକ ଲଘୁଚାପ । ଏହା ପ୍ରଭାବରେ ଆସନ୍ତା ୧୩ ଅଗଷ୍ଟ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯେଉଁଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ, ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଉତ୍ତର ଓଡ଼ିଶାର କିଛିକିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତାଛଡା ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ଏବଂ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରଯାଇଛି ।
୧୨ ତାରିଖ ବୁଧବାର, ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡା, କେନ୍ଦ୍ରାପଡା, ବରଗଡ, ଏବଂ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଥିବାରୁ ୧୩ ତାରିଖ ଠାରୁ ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ