ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ନାହିଁ ନିସ୍ତାର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ପ୍ରବଳ ବର୍ଷା ନେଇ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସୃଷ୍ଟ ହୋଇଥିବା ଓ୍ବେଲମାର୍କ ଲୋ ପ୍ରେସର ଆସନ୍ତା ୪୮ ଘଣ୍ଟାରେ ଅବପାତର ରୂପ ନେବ । ଉପରମୁଣ୍ଡରେ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ନଦୀ ଫୁଲିବ । ତେବେ ଜୁଲାଇ ୧୩ ତାରିଖରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ପୁଣି ଏକ ଲଘୁଚାପ ଘନୀଭୁତ ହେବ । ଉଚ୍ଚ ଜୁଆର ପାଇଁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାକୁ ରେଡ୍ ଆଲର୍ଟ କରାଯାଇଛି । ଦକ୍ଷିଣରୁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଛତିଶଗଡ ମୁହାଁ ହୋଇଛି ଲଘୁଚାପ ।
୨୪ ଘଣ୍ଟା ଯାଏଁ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୭୦ ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ଥିବାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସୋମବାର ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୯ ତାରିଖରେ ୧୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି । ୧୦ ତାରିଖରେ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେପଟେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଏହା ଘନିଭୂତ ହେବା ନେଇ ଆଶଙ୍କା କରାଯାଉଛି । ପ୍ରଭାବରେ ଆସନ୍ତା ୧୨ ତାରିଖରୁ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହେବ । ଲଘୁଚାପଟି ଅଧିକ ଘନିଭୁତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ । ବିଶେଷ କରି ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡର ବରମୁଳ ଠାରେ ସର୍ବାଧିକ ୨୨୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ରାୟଗଡା ପଦ୍ମପୁରରେ ୧୮୦.୩ ମିଲିମିଟର, କନ୍ଧମାଳରେ ୧୩୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି ।
ଇଟିଭି ଭାରତ, ଭୁବନେଶ୍ବର