ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଶନିବାର ରାଜ୍ୟ ସରକାର ପଞ୍ଚମ ପାଳିର ଦ୍ଵିତୀୟ ବର୍ଷ ପୂରଣ କରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକିଥିଲେ ମନ୍ତ୍ରୀ ପରିଷଦ ବୈଠକ । 2019 ମେ 29ରୁ ଆଜି ଯାଏଁ ସରକାରଙ୍କ ସଂଘର୍ଷ ଓ ସଫଳତାର ରିପୋର୍ଟ କାର୍ଡ ରାଜ୍ୟବାସୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା । ଏପରି କି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ମଇ ୨୦୧୯ ରେ ଫନି ପରି ବାତ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା । ସେହିଦିନ ଠାରୁ ଆରମ୍ଭ କରି ଗତ ଦୁଇ ବର୍ଷ ହେଲା ଆମେ ବାତ୍ୟା ଏବଂ କୋଭିଡ ମହାମାରୀର ବିପର୍ଯ୍ୟୟକାରୀ ପ୍ରଭାବ ସାମ୍ନା କରିଆସୁଛୁ । ଏହା ହେଉଛି ଏକ ଅଭୂତପୂର୍ବ ସମସ୍ୟା ଏବଂ ଆମେ ଆମର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସାରା ବିଶ୍ବରେ ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ଭାବରେ ସ୍ବୀକୃତ ଓଡିଶା ଏ କ୍ଷେତ୍ରରେ ତାର ମାନବୀୟ ଦୃଷ୍ଟିଭଙ୍ଗୀ ଓ ଦକ୍ଷତା ପାଇଁ ସୁନାମ କରିଛି । ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ଏକ ବଡ ସମସ୍ୟା ସୃଷ୍ଟି କରିଛି । ଓଡିଶାରେ ଆମେ ଅତ୍ୟନ୍ତ ଗୁରୁତର ପ୍ରଭାବ ସୃଷ୍ଟିକାରୀ ବାତ୍ୟାର ବର୍ଦ୍ଧିଷ୍ଣୁ ପ୍ରକ୍ରିୟାକୁ ଅନୁଭବ କରିଆସୁଛୁ ।
୨୦୨୦ ମାର୍ଚ୍ଚ ପର ଠାରୁ କୋଭିଡ ମହାମାରୀ ଆମର ବିପର୍ଯ୍ୟୟ ପରିଚାଳନା ଅଭିଜ୍ଞତାରେ ଏକ ନୂଆ ସମସ୍ୟା ଭାବରେ ଦେଖାଦେଇଛି । ସାରା ବିଶ୍ବର ବିଭିନ୍ନ ଦେଶ ଏହି ମହାମାରୀର ବିଭିନ୍ନ ଲହର ଦ୍ବାରା ଗୁରୁତର ଭାବରେ ପ୍ରଭାବିତ ହୋଇଛନ୍ତି । ତଥାପି, ସ୍ବାଭାବିକ ଅବସ୍ଥାକୁ ଫେରିବା ଆଜି ଏକ ଆହ୍ବାନ । କୋରୋନା ଭାଇରସ୍ ସଂକ୍ରମଣର ସଫଳ ନିୟନ୍ତ୍ରଣ ପୂର୍ବରୁ ମାନବ ସମାଜକୁ ଏହି ମହାମାରୀର କେତେ ଲହର ଓ ଏହି ଭାଇରସ୍ର କେତେ ଅଧିକ variantର ସମ୍ମୁଖୀନ ହେବାକୁ ପଡିବ, ତାହା ବର୍ତ୍ତମାନ କେହି ସଠିକ ଭାବରେ କହିବା ସମ୍ଭବ ନୁହେଁ । ଏହା ହିଁ ହେଉଛି ବାସ୍ତବତା ଏବଂ ଆମ ସମସ୍ତଙ୍କୁ ଏହା ଗ୍ରହଣ କରିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏପର୍ଯ୍ୟନ୍ତ ଆମ ରାଜ୍ୟ କୋରୋନା ସଂକ୍ରମଣର ଦୁଇଟି ଲହର ଦ୍ବାରା ପ୍ରଭାବିତ ହୋଇସାରିଲାଣି । ଆମର ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ସଠିକ୍ ଭାବରେ ପରିଚାଳନା କରିବାରେ ଆମେ ସକ୍ଷମ ହୋଇପାରିଛୁ । ସଂକ୍ରମଣର ପ୍ରସାର ଦ୍ବାରା ଆମର ବ୍ୟବସ୍ଥା ଏପର୍ଯ୍ୟନ୍ତ ଅତ୍ୟଧିକ ଚାପର ସମ୍ମୁଖୀନ ହୋଇନାହିଁ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଆମ ସରକାର ସବୁବେଳେ ଆଗୁଆ ପଦକ୍ଷେପ ନେଇଆସିଛନ୍ତି । ଯେତେବେଳେ ଅନ୍ୟ ରାଜ୍ୟମାନେ ଦୁର୍ଭାଗ୍ୟବଶତଃ ଅକ୍ସିଜେନ ସମସ୍ୟା ଭିତରେ ଛନ୍ଦି ହୋଇ ଯାଇଥିଲେ, ସେତେବେଳେ ଆମ ସରକାର ଆମ ଡାକ୍ତରଖାନା ମାନଙ୍କରେ ଅକ୍ସିଜେନ ଯୋଗାଣକୁ ସୁବ୍ୟବସ୍ଥିତ କରିବା ସହିତ ଅନ୍ୟ ରାଜ୍ୟ ମାନଙ୍କୁ ମଧ୍ୟ ଅକ୍ସିଜେନ ଯୋଗାଇବରେ ସଫଳ ହୋଇପାରିଛି । ବହୁ ମୂଲ୍ୟବାନ ଜୀବନ ବଞ୍ଚାଇ ପାରିଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଯାହା ହେଉ ନା କାହିଁକି, କୋଭିଡ ପରିଚାଳନାରେ ଆମକୁ ଆଗକୁ ଆହୁରି ପଥ ଅତିକ୍ରାନ୍ତ କରିବାକୁ ଅଛି । ଆମେ ବର୍ତ୍ତମାନ ଟିକାକରଣ ଉପରେ ଫୋକସ କରିଛୁ । ଟିକାକରଣ ନିମନ୍ତେ ଆମର ସମ୍ବଳର ଉପଯୋଗ କରି ଆମର ଲୋକମାନଙ୍କୁ ଯେତେଶୀଘ୍ର ସମ୍ଭବ, ସୁରକ୍ଷିତ ରଖିବା ପାଇଁ ପଦକ୍ଷେପ ନେଇଛୁ ।
ସଂକଟ ସମୟରେ ଆମ ଲୋକଙ୍କର ସହଯୋଗ ତଥା ବିଭିନ୍ନ ସ୍ତରରେ ଗୋଷ୍ଠୀର ସଂପୃକ୍ତି ଆମର ସବୁଠାରୁ ବଡ ଶକ୍ତି ହୋଇ ରହିଆସିଅଛି । ଗୋଟିଏ ପରେ ଗୋଟିଏ ସଂକଟର ମୁକାବିଲା ପାଇଁ ଓଡିଶାବାସୀଙ୍କର ନିରନ୍ତର ସହଯୋଗ ଏବଂ ସରକାରଙ୍କ ଉଦ୍ୟମରେ ନିଃସର୍ତ ସମର୍ଥନ ପାଇଁ ରାଜ୍ୟ ସରକାର ଓଡିଶାବାସୀଙ୍କ ନିକଟକରେ କୃତଜ୍ଞ। ମହାମାରୀ ଓ ବାତ୍ୟା ପରି ଦୁର୍ବିପାକ ସମୟରେ ପ୍ରଶାସନର ଭଲ କାମରେ ଲୋକମାନଙ୍କର ପ୍ରଶଂସା ସରକାର ପାଇଁ ବହୁତ ବଡ ପ୍ରେରଣା ହୋଇ ରହିଆସିଛି ।
ଯେତେବେଳେ ସରକାର ଗୋଟିଏ ପରେ ଗୋଟିଏ ସଂକଟର ମୁକାବିଲା କରିଚାଲିଛନ୍ତି, ସେତେବେଳେ କିନ୍ତୁ ଲୋକଙ୍କୁ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିଯାଇ ନାହୁଁ । ୫-ଟି, ଆମର ପଞ୍ଚମ ପାଳିର ମୁଖ୍ୟ ଫୋକସ ହୋଇ ରହିଆସିଛି । ସ୍ବଚ୍ଛତା, ବୈଷୟିକ କୌଶଳ, ସାମୁହିକ ଉଦ୍ୟମ, ସମୟ ଓ ପରିବର୍ତ୍ତନ । ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ଜୀବନରେ ଦୃଶ୍ୟମାନ ପରିବର୍ତ୍ତନ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଏବଂ ଏହି ଲକ୍ଷ୍ୟ ପୂରଣ ଦିଗରେ ନିରନ୍ତର କାମ କରିଚାଲିଛନ୍ତି ।
ଓଡ଼ିଶା ଏବେ ପୁଞ୍ଜି ବିନିଯୋଗରେ ଆକର୍ଷଣୀୟ କେନ୍ଦ୍ର ହୋଇ ରହିଛି । କୋଭିଡ ସତ୍ତ୍ବେ ବଡ଼ ବଡ଼ ପୁଞ୍ଜି ନିବେଶକୁ ଆକର୍ଷିତ କରାଯାଇଛି ।ଲୋକଙ୍କ ସହିତ ସିଧାସଳଖ ସଂପର୍କ ରହିବା ପାଇଁ ଆମେ ମୋ ସରକାର Feedback ବ୍ୟବସ୍ଥା ଆରମ୍ଭ କରିଥିଲୁ । ସମୟକ୍ରମେ ପ୍ରତ୍ୟେକ ସ୍ତରରେ ଲୋକଙ୍କ ପ୍ରତି ସରକାରୀ କର୍ମଚାରୀ ମାନଙ୍କର ମନୋଭାବ ଏବଂ ବ୍ୟବହାରରେ ଦୃଶ୍ୟମାନ ପରିବର୍ତ୍ତନ ଆଣିବାରେ ଏହା ସଫଳ ହୋଇଛି । ପ୍ରଶାସନ ଏବଂ ସରକାରୀ ସେବା ବ୍ୟବସ୍ଥାକୁ ଅଧିକ ଲୋକାଭିମୁଖୀ ଓ ବୈଷୟିକ ଭିତ୍ତିକ କରି ସରକାରୀ ବ୍ୟବସ୍ଥାରେ ଢାଞ୍ଚାଗତ ଓ ପ୍ରକ୍ରିୟାଗତ ପରିବର୍ତ୍ତନ ଆଣିବାପାଇଁ ଆନ୍ତରିକ ପଦକ୍ଷେପ ନିଆଯାଇଛି ।
ସ୍ବାସ୍ଥ୍ୟ ଓ ଶିକ୍ଷାର ବିକାଶ ଉପରେ ସବୁବେଳେ ଆମର ସ୍ବତନ୍ତ୍ର ଗୁରୁତ୍ବ ରହିଆସିଛି । ସାରା ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଆମେ ୮୫୦୦ କୋଟି ଟଙ୍କାର ବିପୁଳ ପୁଞ୍ଜି ବିନିଯୋଗ କରିଛୁ । ୩୫୦୦ କୋଟି ଟଙ୍କା ବ୍ୟୟରେ SCB Medical College & Hospital କୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରାଯିବ । ଗତ ବର୍ଷକ ମଧ୍ୟରେ ଆମେ ୭୮୬ ଜଣ ଡାକ୍ତର ଓ ୫୧୩୭ ଜଣ ପାରାମେଡିକ୍ସଙ୍କୁ ନିଯୁକ୍ତ କରିଛୁ ।
କ୍ରୀଡାର ବିକାଶ ଦିଗରେ ଆମର ନିରନ୍ତର ପ୍ରୟାସ ଜାରି ରହିଛି । ରାଉରକେଲାରେ ଦେଶର ବୃହତ୍ତମ ହକି ଷ୍ଟାଡିଅମ ସମେତ ବିଭିନ୍ନ କ୍ରୀଡା ପ୍ରକଳ୍ପ ନିମନ୍ତେ ୧୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି।
କୃଷି ଓ କୃଷକର ଉନ୍ନତି ହେଉଛି ଆମ ରାଜ୍ୟର ବିକାଶର ଆଧାରଶୀଳା। ଗତ ଏକ ବର୍ଷ ମଧ୍ୟରେ କାଳିଆ ଯୋଜନାରେ ଆମ ରାଜ୍ୟର ଚାଷୀମାନଙ୍କ ବ୍ୟାଙ୍କ ଖାତାରେ ୬୧୧୮ କୋଟିରୁ ଅଧିକ ଟଙ୍କା ଜମା କରି ଆମେ ଆମର ପ୍ରତିଶ୍ରୁତି ରକ୍ଷା କରିପାରିଛୁ । ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ଠିକ୍ ସମୟରେ ଶେଷ କରିବା ପାଇଁ କଡା ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଓ ଲୋୟର ଇନ୍ଦ୍ରାବତୀ ପ୍ରକଳ୍ପ ଚାଷୀଙ୍କ ସେବାରେ ଉତ୍ସର୍ଗ କରାଯାଇଛି ।
ମହିଳା ସଶକ୍ତିକରଣକୁ ଦୃଷ୍ଟିରେ ରଖି ମିଶନ ଶକ୍ତି କାର୍ଯ୍ୟକ୍ରମକୁ ମଜବୁତ କରାଯାଇଛି । ଏକ ଉଦାହରଣୀୟ ପଦକ୍ଷେପ ଭାବରେ ମିଶନ ଶକ୍ତି ପାଇଁ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରାଯାଇଛି । ମିଶନ ଶକ୍ତି ମା’ ମାନଙ୍କର ଆର୍ଥିକ ସଶକ୍ତିକରଣ ପାଇଁ ଆଗାମୀ ୫ ବର୍ଷରେ ସେମାନଙ୍କୁ ୫୦୦୦ କୋଟି ଟଙ୍କାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସଂପୃକ୍ତ କରିବା ପାଇଁ ଆମେ ନିଷ୍ପତ୍ତି ନେଇଛୁ ।
ଆମର ମହାନ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସାରା ରାଜ୍ୟରେ ପୁରୀ, କୋଣାର୍କ, ସମଲେଶ୍ବରୀ, ହରଶଂକର–ନୃସିଂହନାଥ ମନ୍ଦିରର ସଂରକ୍ଷଣ ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଅଛି । ପଞ୍ଚାୟତିରାଜ ଅନୁଷ୍ଠାନ ତଥା ପୌରସଂସ୍ଥା ଗୁଡିକୁ ମଜବୁତ କରିବା ପାଇଁ ଅର୍ଥ କମିଶନଙ୍କ ଅନୁଦାନ ଜରିଆରେ ଗତ ଦୁଇ ବର୍ଷ ମଧ୍ୟରେ ସେମାନଙ୍କୁ ୧୧,୨୮୭ କୋଟି ଟଙ୍କାର ଆର୍ଥକ ଅନୁଦାନ ଦିଆଯାଇଛି ।
ଓଡିଶାର ଜନସାଧାରଣ ପଞ୍ଚମ ଥର ପାଇଁ ଆମକୁ ଆଶୀର୍ବାଦ କରି ସେବାର ସୁଯୋଗ ଦେଇଛନ୍ତି । ଲୋକଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ଏବଂ ସେମାନଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ କଠିନ ପରିଶ୍ରମ କରୁଛୁ । ଏହି ମହାମାରୀ ଏକ ଅନନ୍ୟ ପରିସ୍ଥିତି ସୃଷ୍ଟି କରିଛି, ଯାହାଦ୍ବାରାକି ଲୋକମାନଙ୍କ ଜୀବନ ଓ ଜୀବିକା ଗଭୀର ଭାବରେ ପ୍ରଭାବିତ ହୋଇଛି । ଏସବୁ ଆହ୍ବାନ ସତ୍ତ୍ବେ ଆମର ଦୃଢ ବିଶ୍ବାସ ଯେ ଓଡିଶାର ଜନସାଧାରଣଙ୍କ ସହଯୋଗରେ ଏହି ସଂକଟର ମୁକାବିଲାରେ ଆମେ ବିଜୟୀ ହେବୁ ତଥା ଓଡିଶାର ରୂପାନ୍ତର ନିମନ୍ତେ ଆମର ଭଲ କାମକୁ ଜାରି ରଖିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ