ଭୁବନେଶ୍ବର: ଆଜି (ବୁଧବାର) ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ । ସେବାୟତମାନଙ୍କ ସହିତ ମନ୍ଦିର ସମ୍ପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।
ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ । ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।
ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଷାନ୍ତ ରାଉତ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍.ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ